ହଳଧର ନାଗ କବିତାର ମନ୍ତ୍ରସିଦ୍ଧ ଋଷିପୁତ୍ର

କେଦାର ମିଶ୍ର

ପୃଥିବୀ ଓ ଚନ୍ଦ୍ରମା ଦୁଇ ଭାଇଭଉଣୀ । ପୃଥିବୀ ଅପରୂପା ସୁନ୍ଦରୀ । ଯୌବନପ୍ରାପ୍ତି ପରେ ପୃଥିବୀ ପ୍ରେମରେ ପଡିଗଲେ । ସମୟ ଓ ପୃଥିବୀର ପ୍ରଣୟ କାହାଣୀ ଗଡି ଚାଲିଲା ଗୋପନରେ । ଭଉଣୀର ପ୍ରଣୟ କାହାଣୀ ବିଷୟ ନଜାଣି ଚନ୍ଦ୍ରମା ଦିନେ ଦେବ ସଭାରେ ପ୍ରସ୍ତାବ କଲେ ତାଙ୍କ ଭଉଣୀ ପୃଥିବୀ ସହ ଦେବରାଜ ଇନ୍ଦ୍ରଙ୍କ ପରିଣୟ ପାଇଁ ।

ଅସାମାନ୍ୟ ରୂପସୀ ପୃଥିବୀକୁ ବାହା ହେବା ପାଇଁ ଦେବସଭାରେ ନିଷ୍ପତ୍ତି ହୋଇଗଲା । ଏ ଖବର ପାଇବା ମାତ୍ରେ ଭୟ ଓ ଆଶଙ୍କାରେ କାତର ପୃଥିବୀ ଚନ୍ଦ୍ରମାଙ୍କୁ ଝିଙ୍ଗାସ କଲେ ଏବଂ ସେ ସମୟ ସହ ପ୍ରଣୟବଦ୍ଧ ବୋଲି ଜଣାଇଦେଲେ । ବିଚଳିତ ଚନ୍ଦ୍ରମା ଏବେ କରନ୍ତି କଣ ? ଦେବରାଜଙ୍କୁ କହିଲେ, ‘ମହାରାଜ ! ମୋ ସାନ ଭଉଣୀ ଏବେ ମହାକାଳ ପ୍ରେମରେ ପଡିଯାଇଛି ।’ କ୍ରୋଧରେ ଇନ୍ଦ୍ର ନିଜ ବଜ୍ର ମାଧ୍ୟମରେ ସମୟକୁ ଖଣ୍ଡ ଖଣ୍ଡ କରି ହତ୍ୟା କଲେ ।

Haldhar_Nagପ୍ରିୟତମର ମୃତ୍ୟୁରେ ଶୋକାତୁରା ପୃଥିବୀ ବିଳାପ କରିବାକୁ ଲାଗିଲେ । ତାଙ୍କ ବିଳାପରେ ଲୋକପିତା ବ୍ରହ୍ମାଙ୍କ ଆସନ ଟଳମଳ ହେବାକୁ ଲାଗିଲା । ବ୍ରହ୍ମା ପୃଥିବୀକୁ ପଚାରିଲେ, ତମେ ରୋଦନ କରୁଛ କାହିଁକି ? ପୃଥିବୀ ତାଙ୍କ ଦୁଃଖ ବୟାନ କଲେ । ଲୋକପିତା କହିଲେ – ‘ମୁଁ ନିଶ୍ଚିତ ଭାବରେ ତମ ପ୍ରେମିକକୁ ବଞ୍ଚାଇ ଦେବି ।’

ତା ପରେ ବ୍ରହ୍ମା ତାଙ୍କ କମଣ୍ଡଳରୁ ଅମୃତ ଜଳ ସିଞ୍ଚି ସମୟକୁ ଜୀବନ୍ୟାସ ଦେଲେ । କିନ୍ତୁ ଏ କ’ଣ ? ଇନ୍ଦ୍ରଙ୍କ ବ୍ରଜାଘାତରେ ସମୟ ଛଅ ଖଣ୍ଡ ହୋଇଯାଇଛି ଏବଂ ଅମୃତ ଜଳ ପାଇଲା ପରେ ସମୟର ଛଅଟି ସ୍ୱରୂପ ପୃଥିବୀକୁ ପ୍ରଣୟ ଭିକ୍ଷା କରୁଛନ୍ତି । ପୃଥିବୀ କହିଲେ, ‘ ଏ କି ଆଚମ୍ବିତ କଥା ? ଜଣେ ନାରୀ ଛଅ ପୁରୁଷଙ୍କ ସହ ଜୀବନ କଟାଇବ କେମିତି ? ବ୍ରହ୍ମା କହିଲେ – ‘ତମେ ବିଚଳିତ ହୁଅ ନାହିଁ । ସେମାନେ ସମୟର ଛଅଟି ସ୍ୱରୂପ – ଛଅଟି ଋତୁ ।’

ଜଣେ ପରେ ଜଣେ ସେମାନେ ତମ ପାଖକୁ ଆସିବେ ଓ ଦୁଇ ମାସ ଲେଖାଏଁ ତମକୁ ଭୋଗ କରିବେ । ସେହି ଦିନଠୁ ଛଅ ଋତୁ କ୍ରମାନ୍ମୟରେ ପୃଥିବୀ ପୃଷ୍ଠକୁ ଆସନ୍ତି ଓ ପୃଥିବୀ ରାଣୀକୁ ଭୋଗ କରନ୍ତି ।

ଇଏ କାହାଣୀ ନା କବିତା ? କେଉଁ ପୁରାଣରେ ଆପଣ ପଢ଼ିଛନ୍ତି ଏ କାହାଣୀ ? କବିର କଳ୍ପନାରେ ସମୟ ଓ ପୃଥିବୀର କାହାଣୀ ନୂଆ ରୂପେ ଗଢ଼ାଯାଇଛି । ସମ୍ବଲପୁରୀ-କୋଶଳୀ ଭାଷାରେ ରଚିତ ‘ବଛର’ ନାମକ କାବ୍ୟର କାହାଣୀ ଇଏ । କାବ୍ୟର କବି ହେଉଛନ୍ତି ଶ୍ରୀଯୁକ୍ତ ହଳଧର ନାଗ ।

କବିର ପ୍ରତିଭା ଓ କଳ୍ପନାର ଏକ ଅପୂର୍ବ ବିଭୂତିର ଅନ୍ୟ ନାମ କବି ହଳଧର ନାଗ । ସମଗ୍ର ପଶ୍ଚିମ ଓଡିଶାରେ ଲୋକକବି ଭାବରେ ବିଖ୍ୟାତ ଏଇ କବି ଆମ ସମୟର ଏକ ବିରାଟ ଆଶ୍ଚର୍ଯ୍ୟ । ଯେଉଁ ସମୟରେ କବିତାର ପାଠକ ଏକ ବିରଳ ପ୍ରଜାତିରେ ପରିଣତ ହୋଇସାରିଛି, ସେହି ସମୟରେ କବି ହଳଧରଙ୍କ କବିତା ଶୁଣିବା ପାଇଁ ହଜାର ହଜାର ଲୋକ ଅପେକ୍ଷା କରି ରହନ୍ତି ମଞ୍ଚ ଆଗରେ । ଘଣ୍ଟା ଘଣ୍ଟା ଧରି କବିତା ତାଙ୍କର ମୁଖସ୍ଥ ଥାଏ । ଆତ୍ମବିଭୋର, କବିତା ବିଭୋର କବିଙ୍କୁ ଶୁଣିବା ପାଇଁ ଯାତ୍ରା ପରି ଗହଳି ଲାଗିଯାଏ ପଶ୍ଚିମ ଓଡିଶାରେ ।

ହଳଧର ନାଗ, ଦେଖିବାକୁ ଡେଙ୍ଗା, କଳା, ନହନହକା ମଣିଷଟିଏ । ଭାବପ୍ରବଣ ଦୁଇଟି ଆଖି । ବବୁରି ବାଳ ଲମ୍ବି ଯାଇଥାଏ ପଛକୁ । ଅଣ୍ଟାରେ ବେଢ଼ାଇ ହୋଇଥାନ୍ତି ଧଳା ଧୋତିଟିଏ, କାନ୍ଧରେ ଗାମୁଛା, ପାଦରେ ଚପଲ ନଥାଏ । ଦେଖିଲେ ଅତି ସାଧାରଣ ଗାଉଁଲି ମଣିଷଟିଏ । ସାଧାରଣ ଚେହେରା ତଳେ ଏକ ଅସାଧାରଣ ପ୍ରତିଭାର ଜ୍ୟୋତି ଉଦ୍‍ଭାସିତ ହେଉଥାଏ ତାଙ୍କ ଆଖି ଦିଓଟିରେ ।

ଅତ୍ୟନ୍ତ ନମ୍ର ଏବଂ ବିନୟୀ ସ୍ୱଭାବର କବି ହଳଧର ନାଗଙ୍କୁ ଦେଖିଲେ ଲାଗେନା ତାଙ୍କର ଗ୍ରନ୍ଥାବଳୀ ପ୍ରକାଶ ହୋଇଛି ଗ୍ରନ୍ଥ ମନ୍ଦିର ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ତରଫରୁ । ତାଙ୍କୁ ନେଇ ‘ବିବିସି’ ତିଆରି କରି ସାରିଛି ଗୋଟିଏ ସିନେମା । ତାଙ୍କୁ ନିମନ୍ତ୍ରଣ ନକଲେ ପଶ୍ଚିମଓଡିଶାର କୌଣସି କାର୍ଯ୍ୟକ୍ରମ ପୂର୍ଣ୍ଣାଙ୍ଗ ହୁଏନା ।

ତାଙ୍କୁ ଦେଖିଲେ ବହୁ ବିଦ୍ୱାନ ହାତଯୋଡି ସମ୍ମାନ କରନ୍ତି । ଅଥଚ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ହଳଧର ନାଗଙ୍କ ଆନୁଷ୍ଠାନିକ ଶିକ୍ଷା । ବୃତ୍ତିରେ ସେ ଚନାଚୁରବାଲା । କେବେ କେମିତି ଚାଷ କାମ କରନ୍ତି । ଗାଁ ସ୍କୁଲରେ ଭାରରେ ପାଣି ବୋହି ନିଅନ୍ତି । କିନ୍ତୁ କବିତାର ସେ ଏକ ଜ୍ୟୋତିର୍ମୟ ଅବତାର ।

କବି ହଳଧର ନାଗଙ୍କ ଜନ୍ମ ୩୧.୦୩.୧୯୫୦ ବରଗଡ ଜିଲ୍ଲାର ଘେଁସ୍‍ ଗାଁରେ । ଘେଁସ୍‍ ପଶ୍ଚିମଓଡିଶାର ଏକ ଐତିହାସିକ ଗାଁ । ସୁରେନ୍ଦ୍ର ସାଏଙ୍କ ନେତୃତ୍ୱରେ ବ୍ରିଟିଶରାଜ ବିରୁଦ୍ଧରେ ହୋଇଥିବା ସଶସ୍ତ୍ର ଆଂଦୋଳନର ତୀର୍ଥ ଭୂମି ହେଉଛି ଘେଁସ୍‍ । ଏକ ଐତିହାସିକ ଗାଁର ଅତି ସାଧାରଣ ବାଳକଟିଏ ଅସାଧାରଣ ଇତିହାସ ରଚନା କରିବ ଏକଥା ଘେଁସ୍‍ ଗାଁର କେହି କେବେି ବି କଳ୍ପନା କରିନଥିବେ ।

ଲେଖକଙ୍କ ସହ ହଳଧର

ଲେଖକଙ୍କ ସହ ହଳଧର

ଲୋକଗୀତ ଏବଂ ଲୋକନୃତ୍ୟ ପ୍ରତି ପିଲାଦିନରୁ ହଳଧରଙ୍କ ଥିଲା ପ୍ରଚୁର ଆଗ୍ରହ । ରାମାୟଣ, ମହାଭାରତ ଶୁଣି ଶୁଣି ଡାଲଖାଇ, ରସରକେଲି, ଗୁଣୁ ଗୁଣେଇ ଆରମ୍ଭ ହୋଇଥିଲା ତାଙ୍କ କବିତ୍ୱର ଯାତ୍ରା । ଅଳ୍ପ ପାଠୁଆ ତାଙ୍କ ମନ ଓ ହୃଦୟକୁ ନିଜର ନିବାସ ରୂପେ ବାଛି ନେଇଥିଲେ କବିତାର ସରସ୍ୱତୀ । ଆପେ ଆପେ ଆପଣଛାଏଁ ସେ ଆବୃତ୍ତି କରୁଥିଲେ ସୁକୁମାର କବିତା ।

ତାଙ୍କ ଆଗରେ ପ୍ରେରଣାର ଉତ୍ସ ଥିଲେ ବ୍ୟାସ, ବାଲ୍ମିକୀ, ଗଙ୍ଗାଧର ମେହେର ଓ ଭୀମଭୋଇ । ତାଙ୍କ କାବ୍ୟସିଦ୍ଧି ଗୋଟିଏ କଥା ପ୍ରମାଣିତ କରେ, ତା ହେଲା- କବିତାର ଉତ୍ସ ସବୁବେଳେ ସ୍ୱାଭାବିକ ଏବଂ କବିତା ରଚନା କୌଣସି ବୌଦ୍ଧିକ କସରତର ଆବଶ୍ୟକତା ରଖେ ନାହିଁ ।

ତାଙ୍କ କବିତାରେ ପଶ୍ଚିମ ଓଡିଶାର ଜନଜୀବନ, ପ୍ରାକୃତିକ ପରିବେଶ, ଚଳଣୀ, ପରମ୍ପରା, ଲୋକଗୀତ ଓ ଲୋକନୃତ୍ୟର ଛନ୍ଦ ଏବଂ ସର୍ବୋପରି ଜୀବନର ଉଦ୍ଧାମତା ପ୍ରତିଫଳିତ ହୋଇଥାଏ । କାବ୍ୟ ଓ ପୁରାଣରୁବ ବିଷୟବସ୍ତୁ ଚୟନ କରୁଥିଲେ ହେଁ ବର୍ଣ୍ଣନା ଏବଂ ସର୍ଜନା କ୍ଷେତ୍ରରେ ତାଙ୍କ ଶୈଳୀ ମୌଳିକ । ଆଞ୍ଚଳିକ ଅସ୍ମିତାର ଉଦ୍‍ଗାତା ରୂପେ ଏବେ ସମଗ୍ର ପଶ୍ଚିମ ଓଡିଶାରେ ହଳଧର ନାଗ ସଂସ୍କୃତିର ଦେବଦୂତ ପାଲଟି ଯାଇଛନ୍ତି । ଆଞ୍ଚଳିକ ସଂସ୍କୃତିର ପ୍ରାଣବନ୍ଦ ପ୍ରତୀକ ତାଙ୍କର କବିତା ।

ପଶ୍ଚିମଓଡିଶାର ବିଶେଷ ଚର୍ଚ୍ଚା ହୋଇଥାଏ ଏ ଅଞ୍ଚଳର ଦାରିଦ୍ର୍ୟ, ଅନାହାର ମୃତ୍ୟୁ, ଦାଦନ ଶ୍ରମିକ ଓ ପିଲାବିକ୍ରୀ ଇତ୍ୟାଦି ପ୍ରସଙ୍ଗ ପାଇଁ । ତେଣୁ ଏ ଅଞ୍ଚଳକୁ ନେଇ ଯେଉଁମାନେ କବିତା ଲେଖନ୍ତି ବା ଏ ଅଞ୍ଚଳରେ ରହି କବିତା ଲେଖନ୍ତି ସେମାନଙ୍କ ପାଇଁ କବିତାର ବିଷୟବସ୍ତୁ ପ୍ରାୟ ପୂର୍ବନିର୍ଦ୍ଧାରିତ ।

ସ୍ଥିତାବସ୍ଥା ବିରୁଦ୍ଧରେ ହେଉ କିଂବା ଏକ ନୂତନ ଆଂଦୋଳନର ସୂଚନା ହେଉ କବିତାରେ ତାର ସଙ୍କେତ ରହିଥାଏ । ଯଦିଓ ଆଧୁନିକ ଓଡିଆ କବିତାର ଅସ୍ପଷ୍ଟ, ରହସ୍ୟମୟ ଏବଂ ଦୁର୍ବୋଧ୍ୟ ପରମ୍ପରାରରେ ଏସବୁ ସ୍ୱରର ବିଶେଷ କିଛି ମାନେ ନଥାଏ । ପରମ୍ପରାର ମୁଖ୍ୟସ୍ରୋତରେ ଗୌଣସ୍ରୋତର ଭାବାବେଗ ପ୍ରାୟତଃ ବିଲୀନ ହୋଇଯାଏ ।

ସୌଭାଗ୍ୟକ୍ରମେ ହଳଧର ନାଗଙ୍କ କବିତା ଏହି ଦୁର୍ଭାଗ୍ୟଜନକ ପରିଣତି ଭୋଗିନାହିଁ । ପ୍ରାୟତଃ ପୁରାର, କାବ୍ୟ ଓ କଳ୍ପନାର ଆଧାରରେ ତାଙ୍କ କବିତ୍ୱର ପ୍ରତିଷ୍ଠା । ତେଣୁ ଆଧୁନିକତା କିମ୍ବା ଉତ୍ତର ଆଧୁନିକତାର ବ୍ୟୁହ ଭିତରେ ବାଟବଣା ଆଲୋଚକମାନଙ୍କ ପାଇଁ ତାଙ୍କ କବିତା ପାରମ୍ପରିକ କିମ୍ବା ପ୍ରାଚୀନପନ୍ଥୀ ମନେ ହୋଇପାରେ ।

କିନ୍ତୁ ଟିକେ ଗଭୀର ଭାବରେ ତାଙ୍କ କବିତାକୁ ଅନୁଧ୍ୟାନ କଲେ ଗୋଟିଏ କଥା ସ୍ପଷ୍ଟ ହୋଇଯାଏ ଯେ, କଳ୍ପନା ଏଠି ବିଦ୍ରୋହର ଏକ ଛଦ୍ମ ଆୟୁଧ । ଶୋଷଣ ଓ ଅବହେଳାର ନିଶାଗ୍ରସ୍ତ ଗୋଟିଏ ଅଞ୍ଚଳର ଜନଜୀବନରେ ଚାଞ୍ଚଲ୍ୟ ଖେଳାଇବା ପାଇଁ ପୌରାଣିକ କଳ୍ପନାକୁ ଆଧାର ଭାବରେ ଗ୍ରହଣ କରିବା ଛଡା ଅଲଗା ବାଟ ନଥାଏ । ପୌରାଣିକ କଳ୍ପନାକୁ ଆଧାର ଭାବରେ ଗ୍ରହଣ କରିବା ଛଡା ଅଲଗା ବାଟ ନଥାଏ ।

ପୌରାଣିକ କଳ୍ପନା ଆଧାରରେ ଜାତୀୟ ଅସ୍ମିତାର ପ୍ରତିଷ୍ଠା ପାଇଁ କାବି୍ୟକ ପ୍ରୟାସ କରିଥିବା ଶାରଳା ଦାସ, ଭୀମ ଭୋଇ, ଗଙ୍ଗାଧର ମେହେରଙ୍କ ପରି ହଳଧର ନାଗ ସେଇ ବିଷୟବସ୍ତୁ ଓ ଶୈଳିର ଚୟନ କରିଛନ୍ତି । ତାଙ୍କ ବର୍ଣ୍ଣନାରେ ପଶ୍ଚିମ ଓଡିଶାର ଜୀବନ୍ତ ଚିତ୍ର ପାଠକର ଆଖି ଆଗରେ ଚଳଚ୍ଚିତ୍ର ପରି ଭାସି ଉଠେ । ତାଙ୍କ କଳ୍ପନା ସାମର୍ଥ୍ୟ କ୍ଲାସିକ୍‍ କବିମାନଙ୍କର ସାମର୍ଥ୍ୟ ସହ ପ୍ରାୟ ସମାନ ।

ଏହି ଯଶସ୍ୱୀ କବିଙ୍କର କେତୋଟି ମୁଖ୍ୟ କାବ୍ୟଗ୍ରନ୍ଥ ହେଉଛି ‘ବଛର’, ‘ମହାସତୀ ଉର୍ମିଲା’, ‘ତାରା ମନେ୍ଦାନ୍ଦରୀ’, ‘ରସିଆ କବି’, ‘ଅଛିଆ’, ‘ସିରି ସମ୍‍ଲାଇ’ ଇତ୍ୟାଦି । ସରଳ ମନରେ ଯେଉଁ ଅପୂର୍ବ ଆଧ୍ୟାତ୍ମିକ ଦର୍ଶନର ଉଦ୍‍ଭାସ ସମ୍ଭବ ହୁଏ ତାହା କବିତାରେ ହିଁ ପ୍ରତିଫଳିତ ହୋଇଥାଏ ।

ଏକ ନଗଣ୍ୟ ଉପଭାଷା ବୋଲି ଗଣାଯାଉଥିବା ସମ୍ବଲପୁରୀ କୋଶଳୀ ଭାଷାରେ ଯେଉଁ ବୌଦ୍ଧିକ ଉଚ୍ଚତାର କାବ୍ୟ ରଚନା ହୋଇଛି, ତାହା ସେ ଭାଷାର ଉକ୍ରର୍ଷ ଓ ମୌଳିକତାର ପରିଚୟ । ଓଡିଶା ଭାଷା ସହ ସମାନ୍ତରାଳ ଭାବେ ସମ୍ବଲପୁରୀ-କୋଶଳୀର ଏହି ପ୍ରତିଷ୍ଠାକୁ ନକରାତ୍ମକ ଦୃଷ୍ଟିରେ ନଦେଖିଲେ ଓଡିଆ ସାହିତ୍ୟର ଯଥେଷ୍ଟ ମଙ୍ଗଳ ହେବ ।

କବି ହଳଧରଙ୍କ କାବ୍ୟକୃତିରେ ସବୁଠୁ ଉଲ୍ଲେଖନୀୟ ଦିଗଟି ହେଉଛି ତାଙ୍କ ଭାଷା ପ୍ରୟୋଗର ଅପୂର୍ବ ସ୍ୱତଃସ୍ଫୂର୍ତ୍ତତା । ପୁରାଣରେ ବର୍ଣ୍ଣିତ ବ୍ୟାସଙ୍ଗ ଶୃତଲିଖନ ଓ ଗଣେଷଙ୍କ ଲିଖନ ପରି ତାଙ୍କର କାବ୍ୟଧାରା । ହଳଧରଙ୍କ କାବ୍ୟକୃତିରେ ଏତେ ଟିକିଏ ବି ଦୂର୍ବେଧ୍ୟତା ବା ଜଟିଳତା ନଥାଏ । ତାଙ୍କ ନିରୀହତା ପରି କବିତାର ଆବେଦନ ମଧ୍ୟ ନିରୀହ ଓ ରସମୟ ।

ପଶ୍ଚିମ ଓଡିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ, ଜନଜୀବନର ଆଚାର, ଆଚରଣ, ପରମ୍ପରା ଓ ସଂସ୍କୃତି ସୌନ୍ଦର୍ଯ୍ୟବୋଧ ଏବଂ ଭାରତୀୟ ଆଧ୍ୟାତ୍ମିକତାର ସରଳ ପରିବେଷଣ ତାଙ୍କ ରଚନାର ଶ୍ରେଷ୍ଠତମ ସିଦ୍ଧି । ତା ସହ ତାଙ୍କ କବିତାରେ ଥାଏ ଶାଣିତ ଶ୍ଲେଷ ଓ ତୀବ୍ର କଟାକ୍ଷ । ବେଳେବେଳେ ବ୍ୟଙ୍କ କବିତା ରଚନାରେ ହାତ ଦିଅନ୍ତ କବି ।

ଓଡିଆ ବ୍ୟଙ୍କ କବିତାର ପ୍ରଚଳିତ ଧାରାଠୁ ଭିନ୍ନ ଶୁଦ୍ଧ ଶ୍ଲେଷ ଓ ବ୍ୟଞ୍ଚନାର ପରିବେଷଣ ତାଙ୍କ ବ୍ୟଙ୍ଗ କବିତାର ବିଶେଷ ଗୁଣ । ସ୍ଲୋଗାନ୍‍ଧର୍ମୀ ସମାଲୋଚନା ତାଙ୍କର ଏକ ଉଲ୍ଲେଖନୀୟ ସଫଳତା ।

ହଳଧରଙ୍କ କାବ୍ୟ ସାହିତ୍ୟ ଉପରେ ଏବେ ବହୁ ଗବେଷଣା ଆରମ୍ଭ ହୋଇ ସାରିଛି । ପଶ୍ଚିମ ଓଡିଶାର ଛୋଟବଡ ଗାଁ, ସହରମାନଙ୍କରେ କବିଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଉଛି । ହଳଧରଙ୍କ କବିତା ସନ୍ଧ୍ୟା ଏବେ ମନୋରଞ୍ଜନର ଏପ ପରିଶୁଦ୍ଧ ସ୍ୱରୂପ । ତାଙ୍କ କବିତା ବହିର ଗ୍ରାହକ ଆମର ତଥାକଥିତ ପ୍ରତିଷ୍ଠିତ କବିମାନଙ୍କ ଠାରୁ ବହୁଗୁଣରେ ଅଧିକ ।

କିନ୍ତୁ ଦୁଃଖର କଥା ଓଡିଆ ସାହିତ୍ୟର ଆଲୋଚକ ଏବଂ ଐତିହାସିକମାନେ ତାଙ୍କ ପ୍ରତିଭା ବିଷୟରେ ପ୍ରାୟ ଉଦାସୀନ । କାବ୍ୟ ରଚନା ଏବଂ ସାହିତ୍ୟକର୍ମରେ ବିଶେଷ ରୁଚି ରଖୁଥିବା ଓଡିଆ ଭାଷାର ଦିଗ୍‍ଗଜମାନେ ହଳଧରନାଗଙ୍କ ବିଷୟରେ ବିଶେଷ କିଛି ଜାଣନ୍ତି ନାହିଁ ।

ଲୋକ ଏବଂ ପାଠକଠାରୁ ସ୍ୱୀକୃତି ପାଇବା ଜଣେ କବି ଜୀବନର ସବୁଠାରୁ ବଡକଥା । କିନ୍ତୁ ଆମ ସାହିତ୍ୟ ଏକାଡେମୀ ବା ତଥାକଥିତ ସାହିତ୍ୟର ପ୍ରମୁଖ ସଂସ୍ଥାମାନେ ହଳଧର ନାଗଙ୍କ ବିଷୟରେ କିଛି ଜାଣନ୍ତି କି ? ଏହି ଯଶସ୍ୱୀ କବିଙ୍କୁ ସମ୍ବର୍ଦ୍ଧିତ ଓ ସମ୍ମାନିତ କରିବା ପ୍ରତ୍ୟେକ ଓଡିଆ ପାଇଁ ଗୌରବର ବିଷୟ ହେବା ଉଚିତ୍‍ ନୁହେଁ କି ?

ଫୋନ୍‍ : ୯୪୩୭୧୫୪୪୪୫