ଓଡିଶା ନ୍ୟୁଜ/ Odisha News
ଜଣା ଅଜଣାରାଜନୀତି

ସେ ବି ଦିନେ ମୁଖ୍ୟମନ୍ତ୍ରୀ ଥିଲେ; ନବକୃଷ୍ଣ ଚୌଧୁରିଂକ ବିଷୟରେ କିଛି କଥା

 


କେଦାର ମିଶ୍ର
ଆଧୁନିକ ଶିଳ୍ପ ନଗରୀ ଅନୁଗୁଳ ର ଏକ ଅପରିଚିତ ଠିକଣା- ବାଜି ରାଉତ ଛାତ୍ରାବାସ। ସେଇ ପୁରୁଣାକାଳିଆ ଛାତ୍ରାବାସଟି ଆଜି ବି ଲାଗେ କେଉଁ ପ୍ରାଚୀନ ସମୟର ଗୁରୁକୁଳ ପରି।

ସେହି ଛାତ୍ରାବାସର ଗୋଟେ ଚାଳ ଛପର ଥିବା ଏକ ବଖୁରିଆ ଘର। ଅନେକ ସମୟରେ ସେ ଘର ଛାଉଣୀ ହୋଇ ପାରୁନଥିଲା ।

ବର୍ଷା ଦିନେ ପାଣି ଗଳୁଥିବା ସେ କୁଡିଆ ଘରେ ଏ ରାଜ୍ୟର ସବୁଠୁ ସମ୍ମାନନୀୟ ଓ ପ୍ରେରଣାଦାୟକ ବୁଢା ବୁଢୀ ଦି ଜଣ ରହୁଥିଲେ।

ଆଦିବାସୀ ପିଲାଂକ ସହ ସରଳ ଜୀବନ ବଂଚୁଥିବା ଏଇ ଅସାଧାରଣ ଦମ୍ପତ୍ତି ଓଡିଶାର ସ୍ବାଧିନତା ଆନ୍ଦୋଳନର ଅଗ୍ରଣୀ ନାୟକ ଓ ନାୟିକ। ଜଣେ ଥିଲେ ବାପି ଓ ଆଉ ଜଣେ ନୁମା ।

ଏ ନାଁ ସହ ଓଡିଶାର ନୁଆ ପ୍ରଜନ୍ମ ହୁଏତ ପରିଚିତ ନୁହନ୍ତି । ତେବେ ଇତିହାସରେ ଏ ଦୁହେଁ ଆମ ଲାଗି ଏକ ବିସ୍ମୟକର ଉଦାହରଣ ।

କ୍ଷମତା ର ସବୁଠୁ ବଡ ଆସନରେ ବସି ମଧ୍ୟ ତ୍ୟାଗ କୁ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିବା ବାପି ଥିଲେ – ସ୍ବାଧିନ ଓଡିଶାର ପ୍ରଥମ ରାଜସ୍ବ ମନ୍ତ୍ରୀ ଓ ୧୯୫୦ ରୁ ୧୯୫୬ ଯାଏଁ ଓଡିଶାର ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ। ପଦବୀ ଓ କ୍ଷମତାର ଅହଂକାର ନବ ଚୌଧୁରିଂକୁ କେବେବି ଛୁଇଁ ପାରିନଥିଲା ।

ସେ ଜମିଦାର ପରିବାରରେ ଜନ୍ମ ନେଇ ଜୀବନ ତମାମ ଜମିଦାରୀ ବିରୋଧରେ ଲଢିଥିଲେ।

ପ୍ରାଚୁର୍ୟ ଭିତରେ ବିତିଥିବା ପିଲାଦିନ କୁ ଭୁଲି ଜଣେ ସାଧାରଣ କୃଷକର ଜୀବନ ବରଣ କରିଥିଲେ। ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ଜମିରେ ହଳ କରି, ଅନୁଗୁଳ ସହରରେ କ୍ଷୀର ବିକି ସେ ତାଂକର ଜୀବିକା ନିର୍ବାହ କରିଛନ୍ତି ।

ରାଜନୀତି କ୍ଷମତା ହାସଲର ଷଡଯନ୍ତ୍ର ନୁହଁ, ଏହା ତ୍ୟାଗ ଓ ମାନବ ସେବା ର ତପସ୍ୟା, ଏକଥା ନବ ବାବୁଂକ ଜୀବନ ପ୍ରମାଣିତ କରିଛି । ଲୋକଂକ ସହ ଓ ଲୋକଂକ ପାଇଁ ରାଜନୀତି କରିଥିବା ନବକୃଷ୍ଣ ଚୌଧୁରୀ, ଭାରତର ରାଜନୀତିରେ ଅନ୍ୟତମ ନିଷ୍କଲଂକ ଋଷି । ତାଂକର ୩୩ଶ ଶ୍ରାଦ୍ଧ ଅବସରରେ ତାଂକ ବିଷୟରେ କିଛି କଥା-

୧. ବାପା- ଗୋକୁଳାନନ୍ଦ ରାୟ ଚୌଧୁରୀ, ଓଡିଶାର ନାମାଜାଦା ଓକିଲ ଓ ଜମିଦାର। ଅଥଚ ତାଂକର ପୂରା ପରିବାର ସାମନ୍ତବାଦ ବିରୋଧରେ ସଂଘର୍ଷ କରିଛନ୍ତି ।

ଜଗତସିଂପୁର ଜିଲ୍ଲାର ଖେରସ ଗାଁ ରେ ନବକୃଷ୍ନଂକ ଜନ୍ମ ୨୩, ଜୁନ୍, ୧୯୦୧ ମସିହାରେ । ବଡ ଭାଇ ଗୋପବନ୍ଧୁ ଚୌଧୁରୀ ଓଡିଶା ପ୍ରଦେଶ କଂଗ୍ରେସ ର ପ୍ରଥମ ସଭାପତି ।

ଭାଉଜ ରମା ଦେବୀ, ସାରା ଓଡିଶା ବାସୀଂକ ଅତି ଆଦରର ମାଁ। ପିଲା ବେଳେ ନବକୃଷ୍ଣ ଥିଲେ ବେଶ୍ ସୁକୁମାର। ତାଂକ ଝିଆରୀ ତଥା ଓଡିଶାର ଅନ୍ୟତମ ମହାନ ସ୍ବାଧିନତା ସଂଗ୍ରାମୀ ଅନ୍ନପୁର୍ନା ଦେବୀ ତାଂକ ଆତ୍ମଜୀବନୀ ରେ ଲେଖିଛନ୍ତି- ବାପି ପିଲାବେଳେ ବେଶ୍ ରାଗି ଥିଲେ।

ସରୁ ଚକୁଳି ଟିକେ ମୋଟା ହେଲେ ଫୋଫାଡି ଦେଉଥିଲେ। ସେ ବାପି ଗାନ୍ଧୀ ଆଶ୍ରମରେ ବଗଡା ଖାଇ, ସପ ବିଛେଇ ଜୀବନ ତମାମ୍ ଶୋଇଲେ ।
୨. ରେଭେନଶା କଲେଜ ରେ ପଢୁଥିବା ସମୟରେ ଗାଂଧିଜିଂକ ଡାକରାରେ ପାଠ ପଢ଼ା ଛାଡ଼ି ସେ ବାପୁଂକ ସାବରମତୀ ଆଶ୍ରମରେ ଯୋଗଦାନ କରନ୍ତି ।

ଗାଂଧିଂକ ରଚନାତ୍ମକ କାର୍ୟକ୍ରମ କୁ ଓଡିଶାର ଗାଁ ଗାଁ ରେ ପ୍ରସାରିତ କରିବାରେ ସେ ପ୍ରମୁଖ ଭୂମିକା ନିଅନ୍ତି। ୧୯୨୨ ରୁ ଜୀବନର ଶେଷ ନିଶ୍ବାସ ଯାଏ ଗାନ୍ଧି ଆଦର୍ଶର ସେ ଥିଲେ ଅଗ୍ରଣୀ ନାୟକ ।
୩. ଦେଶର ସ୍ବାଧିନତା ଆନ୍ଦୋଳନରେ ଯୋଗଦାନ କରି ୧୯୩୦, ୧୯୩୨, ୧୯୪୦ ଓ ୧୯୪୨ ଭାରତ ଛାଡ ଆନ୍ଦୋଳନ ବେଳେ ସେ କାରା ବରଣ କରିଛନ୍ତି ।

ଏପରିକି ସ୍ବାଧିନ ଭାରତରେ ବି ତାଂକୁ ଜେଲ୍ ଯିବାକୁ ପଡିଛି । ଜରୁରୀ କାଳୀନ ପରିସ୍ଥିତି କୁ ବିରୋଧ କରିବାରୁ ସେତେବେଳେ ତାଂକୁ ଜେଲ୍ ଭିତରେ ସାଧାରଣ କଏଦୀ ଭାବରେ ରଖାଯାଇଥିଲା ।
୪. ୧୯୨୫ ରେ ସେ କବି ଗୁରୁ ରବିନ୍ଦ୍ରନାଥ ପ୍ରତିଷ୍ଠିତ ଶାନ୍ତି ନିକେତନ ରେ ସ୍ନାତକ ପରୀକ୍ଷା ଦେଲେ । ସେଇଠି ମାଳତି ଦେବୀଂକ ସହ ତାଂକର ପ୍ରେମ ଓ ପରିଣୟ।ସଂଘର୍ଷ ଓ ତ୍ୟାଗର ଜୀବନ ପଥରେ ଉଭୟେ ଥିଲେ ପରଷ୍ପର ର ପରିପୂରକ ।
୫. ୧୯୩୭ ମସିହାର ସାଧାରଣ ନିର୍ବାଚନରେ କଂଗ୍ରେସ୍ ପ୍ରାର୍ଥୀ ଭାବେ ସେ ତିର୍ତୋଲ୍-ଏରସମା ନିର୍ବାଚନ ମଣ୍ଡଳୀ ରୁ ବିଧାୟକ ଭାବେ ନିର୍ବାଚିତ ହେଲେ ।

ସ୍ବାଧିନ ଭାରତର ପ୍ରଥମ ନିର୍ବାଚନରେ ସେ କେନ୍ଦ୍ରାପଡା ରୁ ବିଧାନ ସଭାକୁ ଆସିଲେ ଓ କଂଗ୍ରେସ ସରକାରରେ ଓଡିଶାର ପ୍ରଥମ ରାଜସ୍ବ, ଯୋଗାଣ ଓ ଜଂଗଲ ବିଭାଗର ମନ୍ତ୍ରୀ ଦାୟିତ୍ବ ନେଲେ । କ୍ଷମତା ରାଜନୀତି ଓ ନବ ବାବୁଂକ ସମ୍ପର୍କ ସବୁବେଳେ ଜଟିଳ ।

କ୍ଷମତା ତାଂକ ପଛରେ ଗୋଡେଇ ଥିବା ବେଳେ ସେ କ୍ଷମତା କୁ ଫାଂକିଦେଇ ଦୌଡି ପଳାନ୍ତି। ଅଳ୍ପ ସମୟ ମନ୍ତ୍ରୀ ରହିବା ପରେ ସେ ଇସ୍ତଫା ଦିଅନ୍ତି।
୬. ୧୯୫୦ ରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁ ପୁଣି ଥରେ ନବକୃଷ୍ନଂକ ଉପରେ ଚାପ ପକାନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେବାକୁ ।

ଅନେକ ଦ୍ବିଧା ପରେ ସେ ଓଡିଶା ର ମୁଖ୍ୟମନ୍ତ୍ରୀ ଭାବେ ୧୨ , ମଇ , ୧୯୫୦ ରେ ଦାୟିତ୍ବ ନିଅନ୍ତି । ୧୯ , ଅକ୍ଟୋବର ୧୯୫୬ ପର୍ଯନ୍ତ ମୁଖ୍ୟମନ୍ତ୍ରୀ ଭାବେ ସେ କାମ କରିଥିଲେ ।
୭. ଓଡିଶାର ମୌଳିକ ସମସ୍ୟାକୁ ବୁଝିବା ଓ ତାର ରଚନାତ୍ମକ ସମାଧାନ ବାହାର କରିବାରେ ତାଂକ ପରି ଦ୍ବିତୀୟ ମୁଖ୍ୟମନ୍ତ୍ରୀ ଆଉ ଓଡିଶା ଦେଖି ନାହିଁ ।

ଜମିଦାରୀ ଉଛେଦ, ଭାଗଚାଷୀ ର ଭୂମି ଅଧିକାର, ଆଦିବାସୀ ଅଧିକାର, ଓଡିଆ ଭାଷାର ପ୍ରଶାସନିକ ପ୍ରୟୋଗ, ଅଂଚଳ ଶାସନ ବା ପଂଚାୟତି ରାଜ୍ ଓ ନିଶା ନିବାରଣ ଭଳି ମୌଳିକ କ୍ଷେତ୍ରର ଆଇନଗତ ସମାଧାନ ଖୋଜିବାରେ ସେ ଥିଲେ ଅନନ୍ୟ ଜନ ନାୟକ ।

ପ୍ରଶାସନ ଲୋକଂକ ପାଖକୁ ଯାଉ ବୋଲି ସେ ନିଷ୍ଠା ର ସହ ଚାହିଥିଲେ ଓ ସେଥିଲାଗି ନିଜେ ମୁଖ୍ୟମନ୍ତ୍ରୀ ଭାବେ ଗାଁ କୁ ଗାଁ ବୁଲୁଥିଲେ।
୮. ମୁଖ୍ୟମନ୍ତ୍ରୀ ଭାବରେ ହିରାକୁଦ ନଦୀ ବନ୍ଧ , ରାଉରକେଲା ଇସ୍ପାତ କାରଖାନା, ଓଡିଶା କୃଷି ମହାବିଦ୍ୟାଳୟ , ବୈଷୟିକ ମହାବିଦ୍ୟାଳୟ ଇତ୍ୟାଦି ତାଂକର ଅବଦାନ ।

ନିଷ୍ଠା ର ସହିତ ନୁଆ ଓଡିଶା ଗଠନରେ ମନୋନିବେଶ କରିଥିବା ନବ ବାବୁ ସେତେବେଳର କଂଗ୍ରେସ ରାଜନୀତିରେ ଥିଲେ ବ୍ୟତିକ୍ରମ। କ୍ଷମତା ଲଢେଇ ଓ ରାଜନୈତିକ ପଶାଖେଳର ଖେଳାଳୀ ହେବାକୁ ସେ କେବେ ଚାହିଁ ନଥିଲେ।

ସେ ଯେଉଁ ଆଦର୍ଶ ଓ ନୈତିକତା ର ରାଜନୀତି କରୁଥିଲେ କଂଗ୍ରେସ୍ ତା’ଠୁ ଆସ୍ତେ ଆସ୍ତେ ଦୂରେଇ ଯାଉଥିଲା। ଶେଷରେ ନବ ବାବୁ ୧୯ ଅକ୍ଟୋବର ୧୯୫୬ ରେ ଇସ୍ତଫା ଦେଇ ଚାଲିଗଲେ।

କୁହାଯାଏ , ମୁଖ୍ୟମନ୍ତ୍ରୀ ପଦ ଛାଡିବାର ଅଳ୍ପ କେଇ ଘଣ୍ଟା ଭିତରେ ସେ ସରକାରୀ ଘର ଖାଲି କରି ନିଜ ଟିଣ ଟ୍ରଂକ ଟିକୁ ମୁଣ୍ଡେଇ ରେଳଗାଡିରେ ଅନୁଗୁଳ ଫେରି ଯାଇଥିଲେ।
୯. କ୍ଷମତା ଛାଡିଲା ପରେ ଆଉ ଥରେ ବି ପଛକୁ ଫେରି ଚାହିଁବାର ଆବଶ୍ୟକତା ସେ ଅନୁଭବ କରି ନାହାନ୍ତି।ବାକି ଜୀବନ ଲୋକଂକ ପାଇଁ ଲଢିଛନ୍ତି। ଧାଡିରେ ଠିଆ ହେଇ ରେଲ୍ ଟିକେଟ୍ କାଟିଛନ୍ତି ।

ନିଜକୁ ଅସାଧରଣ ବୋଲି କହିବା ତ ଦୂରର କଥା, ଆଚରଣରେ ଅତି ସାଧାରଣ ଚାଷୀ ପରି ସେ ବନ୍ଚିଛନ୍ତି । କ୍ଷମତା ଅହଂକାର ରେ ଗଣତନ୍ତ୍ର ବିରୋଧରେ ଯିଏ ବି କାମ କରିଛି ତାଂକ ବିରୋଧରେ ନିର୍ଭୟ ଭାବେ ଛିଡା ହୋଇଛନ୍ତି ।

୧୦. ଅନ୍ତିମ ଜୀବନରେ ସାମ୍ୟବାଦ ଓ ସମାଜବାଦ ସହ ଗାନ୍ଧୀ ବାଦ କୁ ଯୋଡ଼ିବାର ଏକ ସାହସିକ ପ୍ରୟାସ ସେ କରୁଥିଲେ । ଇନ୍ଦିରା ଗାଂଧିଂକ ଜରୁରୀ କାଳିନ ପରିସ୍ଥିତି ବିରୋଧରେ ତାଂକୁ ପରିଣତ ବୟସରେ ଜେଲ୍ ଯିବାକୁ ପଡିଲା ।

ଜେଲ୍ ରେ ଥିବା ବେଳେ ତାଂକ ଦେହ ଖରାପ ହେବା ଆରମ୍ଭ କଲା। ୨୪ ଜୁନ୍ ୧୯୮୪ ମସିହାରେ ଏହି ଅନନ୍ୟ ଜନନେତା ମୃତ୍ୟୁ ବରଣ କଲେ।

ଓଡିଶାରେ ବହୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଓ ହେବେ। ହେଲେ ନବକୃଷ୍ଣ ଚୌଧୁରିଂକ ପରି ମୁଖ୍ୟମନ୍ତ୍ରୀ ଏକ ଏବଂ ଅଦ୍ବୀତିୟ।

 

Leave a Reply

This site uses Akismet to reduce spam. Learn how your comment data is processed.