Site icon Odisha.com

ପୂର୍ବତନ ମନ୍ତ୍ରୀ ନଳିନୀ ମହାନ୍ତିଙ୍କ ପରଲୋକ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୨୦(ଓଡ଼ିଶା ଡ଼ଟ୍ କମ୍) ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନଳିନୀକାନ୍ତ ମହାନ୍ତିଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି ।

ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ସ୍ୱାସ୍ଥ୍ୟବସ୍ଥାରରେ ଅବନତି ହୋଇଥିଲା ଓ ଅପରାହ୍ନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ତାଙ୍କର ପତ୍ନୀ, ଗୋଟିଏ ପୁଅ ଓ ଝିଅ ଅଛନ୍ତି ।

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ୧୯୭୭ରେ ବିଧାନସଭାକୁ ନିର୍ବାଚିତ ହୋଇ ଲଗାତାର ୨୦୦୯ ପର୍ଯ୍ୟନ୍ତ ସାତ ଥର ବିଧାୟକ ହୋଇଥିଲେ ।

୧୯୪୯ ଜାନୁୟାରୀ ୨୦ରେ ଜନ୍ମଗ୍ରହଣ କରିଥିବା ମହାନ୍ତି ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ପୂର୍ତ ଓ ନଗର ଉନ୍ନୟନ ମନ୍ତ୍ରୀ ଏବଂ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ମେଂଟ ସରକାରରେ ମଧ୍ୟ ପୂର୍ତ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।

ଗତ ବର୍ଷ ଅକ୍ଟୋବର ୧୧ରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା । ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ନହେବାରୁ ନଭେମ୍ବର ୨ରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତି କରାଯାଇଥିଲା ।

ପରେ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ହେବାରୁ ସେ ଭୁବନେଶ୍ୱର ଫେରିଆସି ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଥିଲେ ।

ନଳିନୀଙ୍କ ପରଲୋକରେ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ଭୂପିନ୍ଦର ସିଂହ, ପିସିସି ସଭାପତି ନିରଂଜନ ପଟ୍ଟନାୟକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

Exit mobile version